ରଥନିର୍ମାଣର ଶୁଭାନୁକୂଳ: ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହିକାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ।
ଚନ୍ଦନ ଯାତ୍ରା:
ଏହି ଦିନଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।